ବିଜେଡିରେ ଯୋଗଦେଲେ ପୂର୍ବତନ କୁଚିଣ୍ଡା ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିୟା

0
57

By Our Correspondent

BHUBANESWAR:  ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ କୁଚିଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ଆଜି ଶଙ୍ଖଭବନ ଠାରେ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ଦେବାଶିଷ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ରାଜେନ୍ଦ୍ର ଛତ୍ରିଆଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ଶ୍ରୀ ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କୁଚିଣ୍ଡା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ଆମକୁ ଓ ଆମ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ କୁଚିଣ୍ଡା ବସ୍ ୟୁନିୟନର ସଭାପତି ଧିରେନ୍ଦ୍ର କୁମାର ନାଏକ, ଉଦୟ ପ୍ରତାପ ସିଂହ, ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଅକ୍ଷୟ କୁମାର ସାହୁ, ସ୍ୱରାଜ କୁମାର ନାୟକ, ହିଂମାଶୁ ପଟେଲ, ଅୟୋଧ୍ୟା ମହାପାତ୍ର ଓ ଅବିନାଶ ମହାପାତ୍ରଙ୍କ ସହ ବହୁ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

 

 

 

LEAVE A REPLY

Please enter your comment!
Please enter your name here